🔥 TRENDING Uttar Pradesh to Build AI City in Luck... Car crashes into dumper in Patiala, on... Case Registered Against Akali Dal Loca... Jalandhar Municipal Authority Gives Gr... AIIMS Director Nikhil Tandon Updates o... Buxar Administration Halts Boat Servic...
23 Nov 2026•
ગુજરાતી मराठी ਪੰਜਾਬੀ বাংলা
Religion

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଲକ୍ଷ୍ମୀନୃସିଂହ ବେଶ ଅନୁଷ୍ଠିତ , ବେଶ ଦର୍ଶନ ପାଇଁ ଲକ୍ଷାଧିକ ଭିଡ ପରିଲକ୍ଷିତ

✍️ Reporter: Deepak Mahapatra 🗓 23 Nov 2026, 04:37 PM 👁 33
Share: 💬 WhatsApp 📘 Facebook 𝕏 Post
ପୁରୀ : ପବିତ୍ର କାର୍ତ୍ତିକ ମାସ ଶୁକ୍ଳପକ୍ଷ ଚତୁର୍ଦ୍ଦଶୀ ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦୁର୍ଲଭ ଲକ୍ଷ୍ମୀନୃସିଂହ ବେଶ (ଆଡ଼କିଆ ବା ଡାଳିକିଆ ବେଶ) ଅନୁଷ୍ଠିତ ହୋଇଯାଇଛି। କାର୍ତ୍ତିକ ଶୁକ୍ଳ ଚତୁର୍ଦ୍ଦଶୀ ବା ବୈକୁଣ୍ଠ ଚତୁର୍ଦ୍ଦଶୀ ଦିନ ଅବକାଶ ନୀତି ସରିବା ପରେ ଶ୍ରୀଜୀଉମାନଙ୍କୁ ଏହି ବେଶରେ ସଜ୍ଜିତ କରାଯାଏ। ଏହି ଅବସରରେ ଶ୍ରୀକ୍ଷେତ୍ରସ୍ଥ ଚକ୍ରନୃସିଂହଙ୍କ ନିକଟରୁ ଶ୍ରୀଜୀଉଙ୍କ ପାଖକୁ ଆଜ୍ଞାମାଳ ଆସିବାର ପରମ୍ପରା ରହିଛି।

କିମ୍ବଦନ୍ତୀ ଅନୁଯାୟୀ ଏହି ଚତୁର୍ଦ୍ଦଶୀ ତିଥିରେ ମହାରାଜା ଇନ୍ଦ୍ରଦ୍ୟୁମ୍ନ ଯେତେବେଳେ ରତ୍ନସିଂହାସନ ଉପରେ ପ୍ରଥମେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଦର୍ଶନ କରିବାକୁ ଯାଇଥିଲେ ସେତେବେଳେ ମହାପ୍ରଭୁ ତାଙ୍କୁ ନୃସିଂହ ବେଶରେ ଦର୍ଶନ ଦେଇଥିଲେ ବୋଲି ସ୍କନ୍ଧ ପୁରାଣରେ ଉଲ୍ଲେଖ ରହିଛି । ତେଣୁ କାର୍ତ୍ତିକ ମାସର ଚତୁର୍ଦ୍ଦଶୀ ତିଥିରେ ମହାପ୍ରଭୁଙ୍କ ଲକ୍ଷ୍ମୀନୃସିଂହ ବେଶ ଅନୁଷ୍ଠିତ ହୋଇଥାଏ ।

ଶ୍ରୀମନ୍ଦିରରେ ଅବକାଶ ନୀତି ବଢ଼ିବା ପରେ ପୁଷ୍ପାଳକ ସେବକମାନେ ମହାପ୍ରଭୁଙ୍କୁ ପାଟବସ୍ତ୍ରରେ ବିଭୂଷିତ କରି ଏହି ବେଶ କରିଥାନ୍ତି । ଏହି ବେଶରେ ମହାପ୍ରଭୁ ସୁବର୍ଣ୍ଣର ଶ୍ରୀଭୁଜ, ଶ୍ରୀପୟର ଏବଂ ଚକ୍ର ସହ ରୌପ୍ୟର ଶଙ୍ଖ ଧାରଣ କରିଥାନ୍ତି । ପ୍ରଭୁ ବଳଭଦ୍ର ମଧ୍ୟ ସୁବର୍ଣ୍ଣର ଶ୍ରୀଭୁଜ, ଶ୍ରୀପୟର ଏବଂ ହଳମୂଷଳ ଧାରଣ କରିଥାନ୍ତି । ସେହିପରି ମହାପ୍ରଭୁ ଶ୍ରୀଜଗନ୍ନାଥ ଏବଂ ପ୍ରଭୁ ବଳଭଦ୍ର ମସ୍ତକରେ ଯେଉଁ ଚୂଳ ଧାରଣ କରିଥାନ୍ତି ସେଥିରେ ସୁବର୍ଣ୍ଣର କିଆ ଗୁଡ଼ିକ ଆଡ଼ ବାଗିଆ ଲଗାଯାଇଥାଏ ।

ଅନ୍ୟପଟେ ଆସନ୍ତାକାଲି କାର୍ତ୍ତିକ ପୂର୍ଣ୍ଣିମାରେ ମହାପ୍ରଭୁଙ୍କ ରାଜରାଜେଶ୍ଵର ବା ସୁନାବେଶ ଅନୁଷ୍ଠିତ ହେବାକୁ ଥିବାବେଳେ ଶ୍ରୀମନ୍ଦିର, ଜିଲ୍ଲା ଓ ପୋଲିସ ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା ଚୂଡାନ୍ତ ହୋଇଛି । ମହାପ୍ରଭୁଙ୍କ ଏହି ଦୁର୍ଲଭ ସୁନାବେଶ ଦର୍ଶନ କରିବା ପାଇଁ ଭକ୍ତମାନେ ମଧ୍ୟ ବେଶ୍ ଉତ୍କଣ୍ଠାର ସହ ଅପେକ୍ଷା କରିଛନ୍ତି । ପବିତ୍ର ପଞ୍ଚୁକରେ ମହାପ୍ରଭୁଙ୍କୁ ଦର୍ଶନ ପାଇଁ ପ୍ରତିଦିନ ଏକ ଲକ୍ଷରୁ ଅଧିକ ଭକ୍ତ ଶ୍ରୀମନ୍ଦିର ଆସୁଛନ୍ତି । ଲକ୍ଷାଧିକ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ପୋଲିସ ପ୍ରଶାସନ ପକ୍ଷରୁ ଶ୍ରୀମନ୍ଦିର ଭିତର, ବାହାର, ବଡ଼ଦାଣ୍ତ ଏବଂ ଟ୍ରାଫିକ ସୁପରିଚାଳନା ପାଇଁ ସମସ୍ତ ବ୍ୟବସ୍ଥା ଗ୍ରହଣ କରାଯାଇଛି । ୪୦ ପ୍ଲାଟୁନ୍‌ ପୋଲିସ ଫୋର୍ସ, ୫ ଅତିରିକ୍ତ ଏସପି, ଡିଏସ୍‌ପି, ଇନ୍ସପେକ୍ଟର, ଏଏସଆଇ ଓ ଏସଆଇଙ୍କ ସହ ୩ଶହରୁ ଊର୍ଦ୍ଧ୍ୱ ହୋମଗାର୍ଡ ସୁରକ୍ଷା ଦାୟିତ୍ବରେ ରହିଛନ୍ତି। ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନରେ ଶତାଧିକ ସ୍ବେଚ୍ଛାସେବୀଙ୍କୁ ନିୟୋଜିତ କରାଯାଇଛି ।
📲Get App